ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାଦାମପାହାଡ଼ ରେଳଷ୍ଟେସନରୁ ତିନୋଟି ନୂଆ ଟ୍ରେନ୍ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନ୍ ଗୁଡ଼ିକ ହେଲା ବାଦାମପାହାଡ଼- ଟାଟାନଗର ମେମୁ; ବାଦାମପାହାଡ଼-ରାଉରକେଲା ସାପ୍ତାହିକ ଏକ୍ସପ୍ରେସ୍ ଏବଂ ବାଦାମପାହାଡ଼ – ଶାଲିମାର ସାପ୍ତାହିକ ଏକ୍ସପ୍ରେସ। ଏହି ଉଦଘାଟନୀ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ର ଶିକ୍ଷା ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରେଳ, ଯୋଗାଯୋଗ ଓ ଆଇଟି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କେନ୍ଦ୍ର ଜଳସଂପଦ ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ଓ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ।
ଏହାପରେ ରାଷ୍ଟ୍ରପତିଙ୍କ ଦ୍ବାରା ନୂଆ ରାଇରଙ୍ଗପୁର ଡାକ ଡିଭିଜନ ଉଦଘାଟନ କରାଯାଇଛି। ସେ ମଧ୍ୟ ରାଇରଙ୍ଗପୁର ଡାକ ଡିଭିଜନର ଏକ ସ୍ମାରକୀ ଲଫାପା ଜାରି କରିଛନ୍ତି। ଏଥିସହିତ ବାଦାମପାହାଡ଼ ରେଳଷ୍ଟେସନର ପୁନର୍ବିକାଶ ପାଇଁ ଶିଳାନ୍ୟାସ କରିଛନ୍ତି। ଛାତ୍ରଛାତ୍ରୀଙ୍କ ସହ ରାଷ୍ଟ୍ରପତି ବାଦାମପାହାଡ଼-ଶାଲିମାର ଏକ୍ସପ୍ରେସରେ ବାଦାମପାହାଡ଼ ଠାରୁ ରାଇରଙ୍ଗପୁର ପର୍ଯ୍ୟନ୍ତ ଯାତ୍ରା କରିଛନ୍ତି ।